ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୁରୁସୁଆଁ ଗାଁର ସଂଗ୍ରାମ କେଶରୀ ସାହୁ। ସୂଚନାଯୋଗ୍ୟ, ସଂଗ୍ରାମ ବାଘମରା ସ୍ଥିତ ପଟ୍ଟନାୟକ ଷ୍ଟିଲରେ ମେକାନିକାଲ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଶନିବାର ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଏହି ଅବରୋଧ ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଛି। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ କରିଛି। ହେଲେ ଏବେ ବି ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି।

Share