ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୨୨ରୁ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ବିଶେଷ କରି ବ୍ରହ୍ମପୁରରେ ପ୍ରବଳ ବର୍ଷା ହେବାରୁ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଆଦି ୭ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହୋଇପାରେ। ତେବେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ୨୨ ଓ ୨୩ ତାରିଖ ଦୁଇଦିନ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳହାଣ୍ଡି ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷଜ୍ଞଙ୍କ କହିବାନୁଯାୟୀ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ୨୫ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା ହେବ। ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୨୨ରୁ ୨୫ ତାରିଖ ମଧ୍ୟରେ ପ୍ରତିଦିନ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର ସମେତ ଉତ୍ତର ଉପକୂଳରେ ବର୍ଷା ହୋଇପାରେ। ତେବେ ଉତ୍ତର ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି।