ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ଗଞ୍ଜାମ, ପୁରୀ, ବରଗଡ଼, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ଯାଜପୁର, କଟକ, ଢେଙ୍କାନାଳ ଏବଂ ଦେବଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ୧୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୬.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।