ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁଥିବାବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗୁରୁବାର ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା ଓ କଟକରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।

Share