ସାରା ବିଶ୍ୱ ପାଇଁ ଉଦାହରଣ ସାଜିଛି ଓଡ଼ିଶା, ସରକାରଙ୍କ ପଦକ୍ଷେପକୁ ସମର୍ଥନ କରିଥିବାରୁ ମୁଁ ଋଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡ଼ିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛି। କୋଭିଡରେ ରାଜ୍ୟରେ ମୃତ୍ୟୁହାର ସବୁଠାରୁ କମ୍‌। କରୋନାରେ ପୀଡ଼ିତ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡ଼ିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସାଥିରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share