୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ ରାଜ୍ୟର ଅନ୍ୟାନ୍ୟ ଭାଗରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ୫୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୧.୭, ଝାରସୁଗୁଡ଼ା ୩.୮, ହୀରାକୁଦ ୭.୮, ସମ୍ବଲପୁର ୧୬.୪, ସୁନ୍ଦରଗଡ଼ ୪, ବଲାଙ୍ଗୀର ୩୫.୪, ଫୁଲବାଣୀ ୧୮.୨ ଏବଂ ବୌଦ୍ଧରେ ୫.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। କେବଳ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବୋଚ୍ଚ ତାପମାତ୍ରା ୩୧ରୁ ୩୯ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରିହଛି।

Share