୨୩ରେ ଲଘୁଚାପ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, ଦକ୍ଷିଣ ଓଡିଶାର ଅଳ୍ପ କେତେକ ସ୍ଥାନରେ ଏବଂ ଉତ୍ତର ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଳାହାଣ୍ଡି, ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୮ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଁ ର୍ଭା ବର୍ଷା ହୋଇଛି। ଭୁବନେଶ୍ୱରରେ ୧୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର ୧.୧, କୋରାପୁଟ ୪.୪, ମାଲକାନଗିରି ୬.୨ ଏବଂ ଦାରିଙ୍ଗୀବାଡିରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share