୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କଳାହାଣ୍ଡି, ଜଗତ୍‌ସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ ଏବଂ ରାୟଗଡ଼ାରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଲଘୁଚାପ ଯୋଗୁ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୪ ଓ ୫ ତାରିଖରେ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅଗଷ୍ଟ ୭ ଯାଏ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସାମାନ୍ୟ କମ୍‌ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ରୁ ୬ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଜିଲାରେ ଥିବା ନଦୀଗୁଡ଼ିକ ଫୁଲିବା ସମ୍ଭାବନା ରହିଛି।
ଆସନ୍ତା ୫ ଦିନ ଯାଏ ବର୍ଷା ଲାଗି ରହିବ। ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଯାଇଛନ୍ତି। ଉକ୍ତ ଜିଲାଗୁଡ଼ିକର ଜିଲାପାଳଙ୍କୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅନ୍ୟ ଜିଲାର ଜିଲାପାଳମାନେ ମଧ୍ୟ ଏ ନେଇ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ଔଷଧ ଇତ୍ୟାଦି ଗଚ୍ଛିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ ବନ୍ୟା ପରେ ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ ଖାଦ୍ୟ ସାମଗ୍ରୀ ଯୋଗାଇବାକୁ ପରାମର୍ଶ ଦିଆଯାଇଛି।

Share