୪୪ ଲକ୍ଷ ୫୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୦୦ କୋଟି ଟଙ୍କାର କାଳିଆ ସହାୟତା

ଭୁବନେଶ୍ୱର,୨୦ା୯(ଅସମାପିକା ସାହୁ): ନୂଆଖାଇ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି।
ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଖାଇର ଶୁଭେଚ୍ଛା ଜଣାଇ କହିଲେ ଯେ, ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ,ସ୍ବାଭିମାନର ସହ ବଞ୍ଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ, ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭଉଣୀ-ଭାଇମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭିନ୍ନ ଜିଲାରେ ଅଧିକାରୀ ଓ ହିତାଧିକାରୀମାନେ ଭିଡିଓ କନ୍‌ଫରେନ୍ସରେ ଯୋଡ଼ି ହୋଇଥିଲେ।
କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Share