ଅନୁପସ୍ଥିତ ୨୦ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୦ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ମାଲକାନଗିରି ଜିଲାର ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବହିଷ୍କୃତ କରିଛି। ସେହିଭଳି ସୁନ୍ଦରଗଡ଼ ଜିଲାରେ ଜିଲା ଶିକ୍ଷାଧିକାରୀଙ୍କ ବିବରଣୀ ଏବଂ ଜିଲାପାଳଙ୍କ ଅନୁମୋଦନକ୍ରମେ ୨ଜଣ ପ୍ରାଥମିକ ଶିକ୍ଷକଙ୍କୁ ବରଖାସ୍ତ କରାଯାଇଛି। ଏଥିସହ ୮ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଶିକ୍ଷାର ସାମଗ୍ରିକ ବିକାଶ ଉପରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱ ଦେଇଆସୁଛି। ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ବ୍ୟବସ୍ଥିତ କରିବା ସହ ସମସ୍ତ ବ୍ଲକ୍‌ ଓ ଜିଲାରେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିବା ସହ ଅନୁପସ୍ଥିତ ରହୁଥିବା ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ୧୫୪ଜଣ କନିଷ୍ଠ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏବେ ଆଉ ୨୦ଜଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।

Share