ବାତ୍ୟା ଆସିବା ପରେ…

ଭୁବନେଶ୍ୱର,୨୫ା୧୦:  ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଥିଲା। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଗୁରୁବାର ଦିନତମାମ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା, ପବନ ଲାଗି ରହିଥିଲା। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର ଓ ପୁରୀ ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ବୌଦ୍ଧ ଏବଂ ସୋନପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୧୬ ଜିଲା ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀରେ ବାତ୍ୟା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଗୁରୁବାର ରାତିରେ ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। । ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏନ୍‌ଡିଆର୍‌ଏଫ୍‌, ଓଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି। ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥିବା ସେ କହିଛନ୍ତି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗୁରୁବାର ପାରାଦୀପରେ ୬୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୪୬.୨, ରାଜକନିକା ୨୭, ରାଜନଗର ୨୪, ନୀଳଗିରି ୨୩, ପଟ୍ଟାମୁଣ୍ଡାଇ ୨୨.୫, ସୋରୋ ୧୯, ବେତନଟୀ ୧୯, ଔପଦା ୧୮, ଧାମନଗର ୧୬, ସାରସକଣାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଦାନାର ପ୍ରଭାବ କେବଳ ଓଡ଼ିଶାରେ ସୀମିତ ରହିନାହିଁ। ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମଧ୍ୟ ବାତ୍ୟା ପ୍ରକୋପ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ୩.୫ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପକ୍ଷରୁ ସାଟେଲାଇଟ୍‌ ମାଧ୍ୟମରେ ନଜର ରଖାଯାଇଥିଲା।

Share