ପୁଣି ୧୮ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୮ ହଜାର ୪୫୪ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୭ ହଜାର ୫୬୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୮ ହଜାର ୮୩୧ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୨ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୮୧୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୦ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share