ସବୁ ସରକାରୀ କୋଠା ଆଲୋକରେ ଝଲସିବ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର):ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୩ ପାଳନର ରୂପରେଖ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସ୍ବାଧୀନତା ଦିବସ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି।
ଚଳିତ ବର୍ଷ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ସକାଳ ୯ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ବାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ଏହାସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଚଳିତ ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଉତ୍ସବସ୍ଥଳର ସାନିଟାଇଜେଶନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ। ବୈଠକରେ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Share