ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି ୩୦ ହଜାର ତଳେ ରହିଛି। ସଂକ୍ରମଣ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୯୫୧ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୬୫ ଛୁଇଁଛି।

ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୭୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୪୧ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୯ ହଜାର ୬୨୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୯୯ ହଜାର ୬୨୦ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୭ ହଜାର ୧୯୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୬ କୋଟି ୧ ଲକ୍ଷ ୫୯ ହଜାର ୧୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୮ ଲକ୍ଷ ୧୮ ହଜାର ୩୬୨ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୧୬ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୯୨ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୯ ଲକ୍ଷ ୩୧ ହଜାର ୯୭୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୬ ଲକ୍ଷ ୭୮ ହଜାର ୭୮୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

Share