ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ ପୁଣି ବଢୁଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି।

ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୪୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୮୪୨ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୫ ହଜାର ୯୩୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୭୦ ହଜାର ୫୫୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୮ ହଜାର ୮୧୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୦ କୋଟି ୫୧ ଲକ୍ଷ ୭୫ ହଜାର ୩୪୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୯ ଲକ୍ଷ ୩୩ ହଜାର ୮୩୮ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୭ କୋଟି ୧୯ ଲକ୍ଷ ୯୪ ହଜାର ୯୯୦ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୨୯ ହଜାର ୨୫୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୦ ଲକ୍ଷ ୯୪ ହଜାର ୫୨୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୬୬ ହଜାର ୭୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୨୧୭ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୧ ଛୁଇଁଛି।

Share