ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୧୩୨ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୯୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୨୧ ହଜାର ୫୬୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୨୭ ହଜାର ୩୪୭ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୬୭ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୦ ହଜାର ୭୮୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୯୫ କୋଟି ୧୯ ଲକ୍ଷ ୮୪ ହଜାର ୩୭୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୬ ଲକ୍ଷ ୫୭ ହଜାର ୬୭୯ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୮ କୋଟି ୨୫ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୮୩ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୨ ଲକ୍ଷ ୯୩ ହଜାର ୪୭୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୯ ଲକ୍ଷ ୫୩ ହଜାର ୪୭୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୬୯୧ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮୫ ଛୁଇଁଛି।

Share