ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, ଜଗତ୍ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲାର ବାଲିଶଙ୍କରାରେ ୧୦ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝର ଚମ୍ପୁଆରେ ୭, ମାଲକାନଗିରି ୭, ଜଗତ୍ସିଂହପୁର ଆଳିପିଙ୍ଗଳରେ ୭, ଯାଜପୁର ୭, ପାଟଣାଗଡ଼ ୭, କନ୍ଧମାଳର ଫିରିଙ୍ଗିଆରେ ୬, ଦାନଗଦିରେ ୬, ଭଦ୍ରକର ତିହିଡିରେ ୫, କଳାହାଣ୍ଡି ଜିଲାର କର୍ଲାମୁଣ୍ଡାରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।
ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ରହିବ। ଏହାର ପ୍ରଭାବରେ ୯ରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।