ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ ଦିନ ବର୍ଷା

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ୧୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଏଲୋୱାର୍ନିଂ ଜାରି କରାଯାଇଛି। ୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ, ୨୦ରେ ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଗଜପତି, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଏହି ସମୟରେ ଘୂର୍ଣ୍ଣିବଳୟ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ସମ୍ବଲପୁର ୧୨୭.୮, ବରଗଡ ୧୨୮.୪, ଚାନ୍ଦବାଲିରେ ୫୧ ପ୍ରତିଶତ ବର୍ଷା ହୋଇଥିବା ବେଳେ ଅନୁଗୋଳ ୩୬, ହୀରାକୁଦ ୫୭, ତାଳଚେର ୬୨, ବଲାଙ୍ଗୀର ୪୧.୩, ଫୁଲବାଣୀ ୩୦, ସୋନପୁର ୬୩, ବୌଦ୍ଧ ୭୩, ପାରଳାଖେମୁଣ୍ଡି ୪୨.୪, ଦେବଗଡରେ ୪୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share