ଦୈନିକ ମୃତ୍ୟୁ ସଂଖ୍ୟା ୧୪…

ନୂଆଦିଲ୍ଲୀ, ୨୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ହଜାର ୮୨୮ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୧୪ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୭ ହଜାର ଟପିଛି। ଏହା ୧୭ ହଜାର ୮୭ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୩୫ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୫୮୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫୩ ହଜାର ୪୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୧୧ ହଜାର ୩୭୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୮୭୯ ଜଣ, ମହାରାଷ୍ଟ୍ରରେ ୫୨୯ ଜଣ, ଦିଲ୍ଲୀରେ ୪୪୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୨୨୭ ଜଣ, କର୍ନାଟକରେ ୧୯୬ ଜଣ, ଉତ୍ତରପ୍ରଦେଶରେ ୧୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

Share