୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୧୪୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୪୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୯ ହଜାର ୭୮୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୦୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୯୫ ହଜାର ୮୪୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୯ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୭ କୋଟି ୬୫ ଲକ୍ଷ ୮୯ ହଜାର ୫୪୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୧ ଲକ୍ଷ ୨୦ ହଜାର ୭୭୨ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୯୯୫ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୫୭ ଛୁଇଁଛି।

Share