ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୭ ହଜାର ଟପିଛି। ଏହା ୭ ହଜାର ୨୪୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୩୨ ହଜାର ଟପିଛି। ଏହା ୩୨ ହଜାର ୪୯୮ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୫୯୧ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୨୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୯୭ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୪୦ ହଜାର ୩୦୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୭୦୧ ଜଣ, କେରଳରେ ୨,୨୭୧ ଜଣ, ଦିଲ୍ଲୀରେ ୫୬୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୩୭୬ ଜଣ, ହରିୟାଣାରେ ୨୪୭ ଜଣ, ତାମିଲନାଡୁରେ ୧୯୫ ଜଣ, ଉତ୍ତରପ୍ରଦେଶରେ ୧୬୩ ଜଣ, ତେଲେଙ୍ଗାନାରେ ୧୧୬, ଗୁଜରାଟରେ ୧୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share