Categories: ରାଜ୍ୟ

ରଥଯାତ୍ରାରେ ଲଘୁଚାପ ବର୍ଷା

ଭୁବନେଶ୍ୱର,୩ା୭: ଚଳିତ ମାସ ୧୨ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା। ସେହିଦିନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୧ ତାରିଖରେ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

Share