ପାନବରଜ, କିଆ ଫୁଲ ଚାଷୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର ୧୭।୯ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା।  ସେ ସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।
ଉକ୍ତ ବୈଠକର ଅନୁଯାୟୀ, ସବୁ ପାନ ଚାଷୀମାନଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ । ପାନ ବରଜ ଥିବା ଚାଷୀ ମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।
ପାନ ପତ୍ର ବ୍ୟବସାୟରେ ଜିଏସ୍‌ଟି ଲାଗୁ ସମ୍ପର୍କରେ ଜିଏସଟି କମିଶନରଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ ।
ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।
Share