ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଭର୍ଚ୍ଚୁଆଲ ମୋଡ୍‌ରେ ଏହାର ସମୀକ୍ଷା କରିଥିଲେ। ଓମିକ୍ରନ ବୃଦ୍ଧିକୁ ରୋକିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ଟିକାରକଣ ସହ ହସ୍ପିଟାଲରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା, ଶଯ୍ୟା ପ୍ରସ୍ତୁତ ରଖିବା ଏବଂ ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ସମସ୍ତ ଆବଶ୍ୟକୀୟ ଓଷଧ ତଥା ସରଞ୍ଜାମ ମହଜୁଦ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା, ଜାତୀୟ ସ୍ବାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଢ଼ଙ୍ଗୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Share