ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଠପଢ଼ା ହେବ ନାହିଁ। କିନ୍ତୁ ଅଧ୍ୟାପିକା ଅଧ୍ୟାପକମାନେ କଲେଜରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଦୀନେଶ ପ୍ରସାଦ ପଟ୍ଟନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବୁଧବାର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାର ଏହି ନିର୍ଦ୍ଦେଶକୁ ଉଲ୍ଲଂଘନ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ତରଫରୁ ଜୁନ୍‌ ୧୭ରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ଅଧିକାଂଶ କଲେଜକୁ ସଙ୍ଗରୋଧ କେନ୍ଦ୍ର କରାଯାଇଛି। ସେଠାରେ ରହିଥିବା ଅନେକ ବ୍ୟକ୍ତି ପରବର୍ତ୍ତୀ ସମୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତଥାପି କଲେଜ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯଦି କଲେଜକୁ ଅଧ୍ୟାପିକା ଅଧ୍ୟପକ କିମ୍ବା କର୍ମଚାରୀ ଆସନ୍ତି, ତେବେ ସଂକ୍ରମଣ ହେବାର ଆଶଙ୍କା ରହିଛି ବୋଲି ଆବେଦନରେ ଉଲ୍ଲେଖ ରହିଛି।