ଥମିବାର ନାଁ ଧରୁନି ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୧ ହଜାର ୨୪୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୨୮ ହଜାର ୭୬୨ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୬ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୮୨ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୭ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୪ ହଜାର ୬୨୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୧୪ କୋଟି ୪୬ ଲକ୍ଷ ୩୨ ହଜାର ୮୫୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୩ ଲକ୍ଷ ୪୪ ହଜାର ୭୩୯ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୨ କୋଟି ୯୦ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୮ ଲକ୍ଷ ୮୫ ହଜାର ୧୩୨ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୪ ଲକ୍ଷ ୫୬ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୬,୮୪୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୬୧ ରହିଛି। ସେହିପରି ରାଜ୍ୟରେ ଏହି ସମୟ ମଧ୍ୟରେ ୬,୦୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share