ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।
ଗୁରୁବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲା ଶ୍ରମ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମ କଡାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶ୍ରମ ଆୟୁକ୍ତ ଓ ସମସ୍ତ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲଗାଯିବା ନେଇ କଡ଼ା ନିରୀକ୍ଷଣ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦାରା ଓଡ଼ିଶା ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକ ସଂଶୋଧନ କରାଯାଇଛି। ଏଯାବତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ଲେଖାଯାଇଛି। କେତୋଟି ଖିଲାପକାରୀ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ବିରୋଧରେ ମକଦ୍ଦମା ସହିତ ଜରିମାନା କରାଯାଇଛି। ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବ। ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନ ହୁଏ, ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜରିମାନା ଆଦାୟ ସହ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମଥର ଖିଲାପକାରୀଙ୍କୁ ୫ହଜାର ଟଙ୍କା ଏବଂ ଦ୍ୱିତୀୟଥର ୨୫ହଜାର ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। ଜିଲାସ୍ତରରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ, ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହିତ ଏ ସଂକ୍ରାନ୍ତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ନିମିତ୍ତ ନିର୍ଦ୍ଦେଶ ଦିଆଯାଇଛି।

Share