ଭୁବନେଶ୍ୱର,୨୦।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡିକର ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚାଘର, ମାଟି ରାସ୍ତା ଧୋଇ ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜଗତ୍ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଏବଂ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୧ ତାରିଖରେ ୧୦ ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।