ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ୬ଟି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ, କଟକ ଓ ଦେବଗଡ଼ ଆଦି ୮ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ତେବେ ଅନ୍ୟସବୁ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରବିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ ଓ ବୌଦ୍ଧ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କଟକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ଓ ଏସବୁ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରଜରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ସୃଷ୍ଟ ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Share