ଦକ୍ଷିଣ, ଉତ୍ତର ଓଡ଼ିଶାରେ ବେଶି ବର୍ଷିବ

ଭୁବନେଶ୍ୱର,୯ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ। ଏହା ପ୍ରଭାବରେ ଶୁକ୍ରବାର ରାତିରୁ ବର୍ଷା ଆରମ୍ଭ ହେବ। ୯ ଓ ୧୦ ରେ ଦକ୍ଷିଣ ଓଡ଼ିଶା ଏବଂ ୧୧ ଓ ୧୨ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୯ରେ କୋରାପୁଟ, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।

Share