ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨ ହଜାର୨୭୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୨୫ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୬୦ ହଜାର ୨୯୮ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୩ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ଲକ୍ଷ ୫୩ ହଜାର ୭୩୯ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୧ ହଜାର ୨୩୦ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୮ ଲକ୍ଷ ୨ ହଜାର ୫୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୦ ଲକ୍ଷ ୩୭ ହଜାର ୫୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୭,୭୮୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୨,୦୬୮, କର୍ନାଟକରେ ୧,୩୩୩, ରାଜସ୍ଥାନରେ ୧,୨୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମିଜୋରାମରେ ୧,୧୫୧ ଏବଂ ତାମିଲନାଡୁରେ ୧,୧୪୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କେରଳକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୫କୋଟି ଟପିଛି। ସେଥିମଧ୍ୟରେ ୯୦ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୫ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share