ମାଲକାନଗିରିରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍‌ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍‌ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ ବିକ୍ୟୁଏସ୍‌ର ଶୁଭାରମ୍ଭ କରିଛନ୍ତି।

ଓଡିଶାର ବିକାଶରେ ମାଲକାନଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି। ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରି ଗସ୍ତରୁ ସେ ଲୋକଙ୍କ ଅସୁବିଧା ବିଷୟରେ ଜାଣି ଲକ୍ଷ୍ମୀ ଯୋଜନାର ପରିକଳ୍ପନା କରାଯାଇଛି। ଏହି ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଆମର ଅର୍ଥନୀତିକୁ ଆହୁରି ମଜଭୁତ କରିବ ଏବଂ ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଛନ୍ତି।

ଏହି ଯୋଜନାରେ ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍‌ ଚାଲିବ। ମାଲକାନଗିରିରେ ଆଜି ୩୬ଟି ବସ୍‌ ଶୁଭାରମ୍ଭ ହୋଇଛି। ମାଲକାନଗିରିର ୧୧୧ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଛି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଲକ୍ଷ୍ମୀ ଯୋଜନାରେ ବସ୍‌ ଚାଲିବ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Share