ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ: ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର, ୧୦।୧୦(ଅସମାପିକା ସାହୁ): ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ।  ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପ୍ରଥମ ଦିନ ମଙ୍ଗଳବାରରେ କେନ୍ଦୁଝର ଓ ଭଦ୍ରକ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିରେ ରାଜ୍ୟର ୬୭୯୪ଟି ପଞ୍ଚାୟତ ସାମିଲ ହେବେ  । ସାରା ରାଜ୍ୟରେ ୯୦୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ପ୍ରତି ଗାଁକୁ ୫୦ଲକ୍ଷ ଟଙ୍କା ମିଳିବ । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Share