ଆଜିଠୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ମଙ୍ଗଳବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୮ ତାରିଖରେ କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୁବର୍ଣ୍ଣପୁର ବରଗଡ଼, ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଭୁବନେଶ୍ୱରରେ ୫.୯ ପ୍ରତିଶତ ବର୍ଷା ହୋଇଥିବା ବେଳେ ବାରିପଦା ୧୧.୨, ବଲାଙ୍ଗୀରରେ ୭.୩ ପ୍ରତିଶତ ହୋଇଥିବା ରେକର୍ଡ କରାଯାଇଛି।

Share