ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏଥିସହିତ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏଥିଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ରୁ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ତାରିଖରେ ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, କଟକ, ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁରରେ ସର୍ବାଧିକ ୧୮୩.୨ ମିଲିମିଟର ବର୍ଷା ହୋଇଥିବା ବେଳେ ସମ୍ବଲପୁର ୫୩.୨, ଭବାନୀପାଟଣା ୩୩.୮, ପାରଳାଖେମୁଣ୍ଡି ୧୫.୮, ବରଗଡ଼ ୧୪.୨, ଭଦ୍ରକ ୧୬.୪ ଏବଂ ମାଲକାନଗିରିରେ ୨୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share