ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଘନୀଭୂତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ଏବଂ ଦେବଗଡ଼, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଜୁଲାଇ ଅଧା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍‌ ଥିଲା। ଏବେ ବି ତାହା ସ୍ବାଭାବିକ ସ୍ଥିତିକୁ ଫେରି ନ ଥିବାବେଳେ ୧୭ଟି ଜିଲାରେ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ତେଣୁ ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଚାଷୀମାନେ ଆଶ୍ୱସ୍ତ ଲାଭ କରିବେ ବୋଲି ଆଶା କରାଯାଉଛି।

Share