୫୪୪ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୨୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୩୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୯ ହଜାର୯୦୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୪ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୩ ହଜାର ୮୫୯ ରହିଛି। ୫୪୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୦ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୨୨ କୋଟି ୪୧ ଲକ୍ଷ ୬୮ ହଜାର ୯୨୯ ଜଣଙ୍କୁ ଟିକାଦାନ ସରିଛି। ସେହିପରି ଇତିମଧ୍ୟରେ ୬୩ କୋଟି ରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ଲୋକ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷରୁ ଅଧିକ ରହିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share