ଫେରିଯାଉଛି ମୌସୁମୀ

ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଦିଆଯାଇଛି।

ସେହିପରି ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜ ଜିଲାର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି। ଅନ୍ୟପକ୍ଷରେ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହୃତ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଅବଗତ କରାଯାଇଛି। ଆସନ୍ତା ୨ ଦିନରେ ମଧ୍ୟରେ ରାଜ୍ୟର ଅବଶିଷ୍ଟ ଜିଲାରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅବଗତ କରାଯାଇଛି।

ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ।

Share