‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରା ଯେପରି ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି।

ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଚଳିତବର୍ଷ ଅଧିକ ଜନସମାଗମ ହେବାର ସମ୍ଭାବନା ରହିଛି। ତେଣୁ ସମସ୍ତ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାର୍‌କା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସମ୍ପର୍କରେ ସୂଚନା ଦେଇଥିଲେ ।

ଉନ୍ନୟନ କମିଶନର ରଥଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ କହିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ଏମ୍‌ପି ଓ ବିଧାୟକଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ପୁରୀ ଜିଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ସାମିଲ ଥିଲେ।

Share