ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୪୬୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୬୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୧ ହଜାର ୯୬୧ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୩୯ ହଜାର ୬୮୩ ରହିଛି। ୨୬୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୧ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୧ ହଜାର ୮୪୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୯ କୋଟି ୬୩ ଲକ୍ଷ ୫୯ ହଜାର ୨୦୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୨ ଲକ୍ଷ ୬୯ ହଜାର ୧୩୭ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୮୭ ହଜାର ୪୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ କେରଳରେ ୬,୪୦୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଏହି ସମୟରେ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୪୭ ରହିଛି।

Share