ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ହଜାର ୬୮୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୩୩ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୬ ହଜାର ଟପିଛି। ଏହା ୧୬ ହଜାର ୩୦୮ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୧୫୮ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୫୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫୦ ହଜାର ୨୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୯ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୭୨୩ ଜଣ, ମହାରାଷ୍ଟ୍ରରେ ୫୩୬ ଜଣ, ଦିଲ୍ଲୀରେ ୪୪୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୨୩୬ ଜଣ, କର୍ନାଟକରେ ୧୭୧ ଜଣ, ଉତ୍ତରପ୍ରଦେଶରେ ୧୨୧ ଜଣ, ରାଜସ୍ଥାନ ୧୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

Share