ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୪୧ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୫୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୨୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୭୦ ହଜାର ୬୪୦ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୮ ହଜାର ୫୬୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୪ କୋଟି ୫ ଲକ୍ଷ ୨୮ ହଜାର ୬୪୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୧ ଲକ୍ଷ ୧୪ ହଜାର ୬୯୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୧୫ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୯୪ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୯ ଲକ୍ଷ ୫୯ ହଜାର ୬୮୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୭ ଲକ୍ଷ ୬୮ ହଜାର ୮୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୧୯,୬୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୩୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share