
ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୯ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୫୨ବ୍ୟକ୍ତିଗତ, ୭ସାମୁହିକ ଅଭିଯୋଗ ରହିଥିଲା। ଅଭିଯୋଗ ଗୁଡ଼ିକର ଶୁଣାଣି କରି ସମସ୍ତ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଭଟଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ କୁମାର ମେହେର ଏବଂ ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।