ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଗୁରୁବାର ପୁରୀ ଜିଲାର ସମସ୍ତ ସ୍କୁଲ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି । କୋଣାର୍କ ମନ୍ଦିର ପରିସରରେ ବର୍ଷା ଜଳ ଜମିରହିଥିବା ଜଣାପଡିଛି । ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ୨୧ଟି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲା ତାଳଚେରଠାରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

Share