୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪ା୭(ଅନିଲ ଦାସ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ଥିବାରୁ ଗତ କିଛିଦିନ ହେବ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ଜୁନ୍‌ ପହିଲାରୁ ଜୁଲାଇ ୩ ତାରିଖ ମଧ୍ୟରେ ରାଜ୍ୟରେ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୨୩୮ ମିଲିମିଟର ହେବା ସ୍ଥାନରେ ହୋଇଛି ୧୬୬.୧ ମିଲିମିଟର। ସେହିପରି ରାଜ୍ୟରେ ଏବେ ୧୭ଟି ଜିଲାରେ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ସେହି ଜିଲାଗୁଡ଼ିକରେ ୨୦ରୁ ୫୦ ପ୍ରତିଶତ କମ ବର୍ଷା ହୋଇଛି। ଆଗାମୀ ଦିନରେ ବର୍ଷା ପରିମାଣ ନ ବଢ଼ିଲେ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି।

Share