୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୨୬ ତାରିଖରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଦିଆଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ଼ ୭.୫, ପୁରୀ ୨୬, ଭୁବନେଶ୍ୱର ୭.୬, କଟକ ୨.୪ ଏବଂ ଚାନ୍ଦବାଲିରେ ୭.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share