ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୫୮ ହଜାର ୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୫ ହଜାର ୩୮୯ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୩ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୧୪ ହଜାର ୪ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୪.୧୮ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୫୫୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୭ କୋଟି ୭୨ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୩ ଲକ୍ଷ ୨୧ ହଜାର ୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତ୍ୟୁ ସଂଖ୍ୟା ପୁଣି ବଢୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share