ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର, ୨୬।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ କରୋନା ମହାମାରୀ ପରିସ୍ଥିତିରେ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ଆସନ୍ତା ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିଭଳି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମ୍‌ଏସ୍‌ଏମ୍‌ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସ୍‌ଏଚ୍‌ଜି ଉପରେ ଅଧିକ ଫୋକସ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ୍‌ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡ଼ିଶାରେ ରୋଜଗାର ପାଇପାରିବେ ସେଥିପାଇଁ ସେମାନଙ୍କୁ ଛୋଟଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଛେଳି, କୁକୁଡ଼ା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକରୁ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Share