ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ

ପୁରୀ,୫।୯(ଅଜିତ୍‌ ମହାନ୍ତି): ବୁଧବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସନ୍ଧ୍ୟାପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ।
ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସେବାୟତ ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ।
ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ବୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣ କରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।
Share