ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।
ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି କହିବା ସହ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ ଦେଇଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ଟନେଲ ଭିତରେ ସେମାନଙ୍କ ସଂଘର୍ଷପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କଠାରୁ ଶୁଣିଥିଲେ। ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ ପ୍ରେରଣାଦାୟକ ବୋଲି ସେ କହିଛନ୍ତି।
ଯେଉଁ ଶ୍ରମିକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧୀରେନ ନାୟକ, ବିଶ୍ୱେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ।